Odia News Portal

କଟକରେ ଅତ୍ୟାଧୁନିକ ବସ୍‌ ଟର୍ମିନାଲ

ଭୁବନେଶ୍ବର: କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ । ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ମହାନ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୈଠକରେ ଏହି ଘୋଷଣା କରିଛନ୍ତି । ରାଜ୍ୟ ସରକାରଙ୍କ 5T କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ ।

ସୂଚନା ଅନୁଯାୟୀ, ବାଦାମବାଡି ବସଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ, ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।

୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ ବ୍ୟବସ୍ଥା ମଧ୍ୟ କରାଯିବ ।

ଏହି ବୈଠକରେ  ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।