ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ: ‘ବେଆଇନ ନିଶା କାରବାର ରୋକ’ By Swadhikar News Last updated Aug 26, 2025 ରାଜ୍ୟରେ ବେଆଇନ ମାଦକ ଦ୍ରବ୍ୟ ଓ ନିଶାଦ୍ରବ୍ୟ ଚୋରାଚାଲାଣ ରୋକିବା ପାଇଁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଲଗ୍ନ ଅଂଚଳରେ ବେଆଇନ ନିଶାଦ୍ରବ୍ୟ ବିକ୍ରି, ସେବନ ଓ କାରବାର ଯେପରି ନହୁଏ ସେଦିଗରେ ପଦକ୍ଷେପ ନେବାକୁ ଶ୍ରୀ ଆହୁଜା କହିଛନ୍ତି। ଏନେଇ ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ସ୍ଥିତି ସମୀକ୍ଷା କରି ସମସ୍ତ ଶିକ୍ଷାନୁଷ୍ଠାନ କ୍ୟାମ୍ପସ୍କୁ ନିଶାଦ୍ରବ୍ୟ ମୁକ୍ତ ପରିସର କରିବା ପାଇଁ ସଚେତନ କରାଯିବା ସହ ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ପୁଲିସ ପ୍ରଶାସନ, ଅବକାରୀ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ଓ ଅନ୍ୟ ସମ୍ପୃକ୍ତ ବିଭାଗ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ଟାସ୍କଫୋର୍ସ ଗଠନ କରି ବ୍ୟାପକ ଚଢ଼ଉ ଓ ସଚେତନ କରିବାକୁ କୁହାଯାଇଛି। ବିଦ୍ୟାଳୟ, ମହାବିଦ୍ୟାଳୟ ପରିସର ଓ ସଂଲଗ୍ନ ଅଂଚଳରେ ସଚେତନତା ପାଇଁ ସୂଚନା, ଶିକ୍ଷା, ଯୋଗାଯୋଗ କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ପରାମର୍ଶ ଦିଆଯାଇଛି। ବୈଠକରେ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ଚଳିତ ବର୍ଷ ଜୁଲାଇ ମାସ ଶେଷ ସୁଦ୍ଧା ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସଂପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ଅବକାରୀ ବିଭାଗ, ପୁଲିସ୍ ପ୍ରଶାସନ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ଏବଂ ସଂପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। 'Prevent illegal drug trafficking'swadhikarswadhikar news Share