Odia News Portal

ରଜରେ କାହିଁକି ଖାଆନ୍ତି ପାନ? ରହିଛି ବଡ଼ ରହସ୍ୟ, ଜାଣନ୍ତୁ…

ଓଡିଆମାନଙ୍କର ରଜ ପର୍ବ ଏକ ଶ୍ରେଷ୍ଠ ପର୍ବ ଭାବେ ପରିଚିତ । ଏହି ରଜ ପର୍ବ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ଯନ୍ତ ସବୁଠି ବେଶ ଧୂମ ଧାମରେ ପାଳନ କରାଯାଏ । ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ ।

ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି, ଏହା ବନ୍ଧୁତାର ଡୋରିକୁ ସୁଦୃଢ କରିଥାଏ । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦେଇଥାନ୍ତି । ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ (କ୍ୟାଲସିଅମ) ଓ ଖଇର ଦାନ୍ତକୁ ମଜଭୁତ କରିଥାଏ । ପାନ ଖାଇଲା ବେଳେ ପତ୍ରରୁ ଶିରା ଛେଦନ କରାଯାଇଥାଏ କାରଣ ପାନଶିରା ହେଉଛି ବୁଦ୍ଧି ବିନାଶିନୀ ।

ରଜପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ। ରଜ ଆଭୂଷଣକୁ ଆହୁରି ମୁଗ୍ଧକର କରିଦିଏ ଏହି ପାନ । ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧନିଆ, ନଡିଆ ଖଣ୍ଡ, ଚେରି, ଲବଙ୍ଗ, ଚୁଆ, ପାନମଧୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ । ଏହାକୁ ବିଭିନ୍ନ ଢଙ୍ଗରେ ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ ।