ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୧୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଜୁଲାଇ ୧୧ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୋରପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କାନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ପ୍ରଭୃତି ୧୪ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଓଡ଼ିଶାର ବାକି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ।
