Odia News Portal

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ, ଏକ ମାସ ଧରି ରାଧାଦାମୋଦର ବେଶ ଅନୁଷ୍ଠିତ ହେବ

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ । ଏକ ମାସ ଧରି ସ୍ବତନ୍ତ୍ର ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ । ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ । ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ନାମରେ ପରିଚିତ ।

ସକାଳ ଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡିଆ, ଖୁଦ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ । କାର୍ତ୍ତିକ ମାସରେ ପ୍ରଭୁ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ଏହାକୁ ରାଧା ଦାମୋଦର ବେଶରେ ନାମକରଣ କରାଯାଇଛି ।  ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ସହ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁର ମାନଙ୍କୁ ଲାଗି କରାଯାଇଥାଏ । ଏଥି ସହ ଶ୍ରୀଜଗନ୍ନାଥ ଓ ବଳଭଦ୍ର ତ୍ରିକଚ୍ଛ ପରିଧାନ କରିବା ସହ ଦୁଇ ହସ୍ତରେ ସୁବର୍ଣ୍ଣ ନଳୀ ଭୁଜ, ତ୍ରିମୁଣ୍ଡିରେ ବାଉଁଶ ପାତିଆ ଓ କନାରେ ନିର୍ମିତ ଚୂଳ, ଚୂଳର ଅଗ୍ରଭାଗରେ ରୂପା ଚନ୍ଦ୍ରିକା, କର୍ଣ୍ଣଦେଶରେ କୁଣ୍ଡଳ, କଟିଦେଶରେ ଓଡ଼ିଆଣୀ କମରପଟି, କଣ୍ଠରେ ସୁବର୍ଣ୍ଣ ଘାଗଡ଼ା ମାଳି, କପାଳରେ ତିଳକ, ଚନ୍ଦ୍ର ସୂର୍ଯ୍ୟ ଏବଂ ରାମାନନ୍ଦୀ ଚିତା ଇତ୍ୟାଦି ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉ ଭୂଷିତ ହୋଇଥାନ୍ତି । ତେବେ ଠାକୁରଙ୍କ ଶୃଙ୍ଖଳିତ ନୀତିକାନ୍ତି ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।