ଆଜି ସୁନା ବେଶ । ରଥଉପରେ ଶ୍ରୀଜିଉ ମାନଙ୍କର ବଡତଢା଼ଉ ବେଶ ଵା ସୁନାବେଶ ଅନୁଷ୍ଠିତ ହେବ । ସକାଳୁ ତିନିରଥ ଉପରେ ଦୈନଦିନ ନୀତି ପରେ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହେବେ ଶ୍ରୀଜିଉ । ସେଥିପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଛି । ରଥ ଉପରେ ଅନ୍ୟାନ୍ୟ ନୀତି ବଢି ମଧ୍ୟାହ୍ନ ଧୁପ , ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବ ।
ଏହାପରେ ଅପରାହ୍ନ ୫ଟାରୁ ୬ଟା ୩୦ ମଧ୍ୟରେ ଠାକୁର ମାନଙ୍କୁ ସୁନାବେଶରେ ସଜ୍ଜିତ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ରାତି ୧୧ଟା ପର୍ଯ୍ୟନ୍ତ ଭକ୍ତ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତ୍ତି ନେଇଛି । ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ ।
ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ଵ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ଵ୍ୟାରିକେଡ୍ରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ତା କରାଯାଇଛି । ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ୟତମ ।
ବଡ଼ଠାକୁର ଶ୍ରୀ ବଳଭଦ୍ର ଶ୍ରୀପୟର, ଶ୍ରୀ ଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି,ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା,ଓ ଝୋବାକଣ୍ଠି,ଆଦି ପରିଧାନ କରିଥାନ୍ତି । ଦେବୀ ସୁଭଦ୍ରା କିରିଟି , ଓଡିଆଣି , କାନ , ଚନ୍ଦ୍ରସୂର୍ଯ୍ୟ , ଦୁଇଟି ତଗଡି,ସେବତୀ ମାଳି ,ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିଥାନ୍ତି ।
ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର , ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ୟ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ,ଚନ୍ଦ୍ରସୂର୍ଯ୍ୟ , ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା , ସେବତୀମାଳି , ଝୋବା କଣ୍ଠି , ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ । ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ । ଏହି ମନମୁଗ୍ଧକର ବେଶ ବର୍ଷକ ରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବା ବେଳେ ଏହି ବେଶରେ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି ।