Odia News Portal

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା

ପୂର୍ବ ଆକଳନ ଅନୁଯାୟୀ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ସୋମବାର ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ହୋଇଛି । ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ରାଜ୍ୟରେ ଆଉ ୨୪ ଘଣ୍ଟା ଲଘୁଚାପଜନିତ ବର୍ଷା ଲାଗି ରହିବ ଏବଂ ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଅନ୍ୟପଟେ ଲଘୁଚାପ ଯୋଗୁଁ ରାଜ୍ୟରେ ମୌସୁମୀ ସକ୍ରିୟ ହେଉଥିବାରୁ ଚଳିତ ସପ୍ତାହରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ଦକ୍ଷିଣ ଓଡ଼ିଶା ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ ଦକ୍ଷିଣପଶ୍ଚିମ ଆଡ଼କୁ ଢଳି ରହିଥିବା ବେଳେ ଆସନ୍ତା ୨ରୁ ୩ ଦିନ ଭିତରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ । ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସେହିଭଳି ଆଜି ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ୬ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।