ଭୁବନେଶ୍ୱର : ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେଓଗଡ଼ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୋନପୁର ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ଅନ୍ୟ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି ।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରୁ ଆରମ୍ଭ କରି ଏହା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର-ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସେହିପରି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ମନସୁନ୍ ଟ୍ରଫ୍ଲାଇନ୍ ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍ ଆର୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ସେହିପରି ଆସନ୍ତାକାଲି ରାଜ୍ୟ ବ୍ୟାପୀ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି । ମୌସୁମୀ ଏବେ ପୁଣି ସ୍ୱାଭାବିକ ଅବସ୍ଥାକୁ ଫେରିଥିବାରୁ ବର୍ଷା ବଢ଼ିବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।
ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲି ଉତ୍ତର-ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାଗୁଡ଼ିକରେ ତୁଳନାତ୍ମକ ଭାବେ ଅଧିକ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି ।