Odia News Portal

ଲୋକଙ୍କ ସାଥିରେ ରୁହ , ସମସ୍ୟା ସମାଧାନ କର

ନିଜ ସହରକୁ ଶ୍ରେଷ୍ଠ ସହରରେ ପରିଣତ କରିବା ପାଇଁ ଦକ୍ଷତାର ସହ ନେତୃତ୍ୱ ନେବାକୁ ନବନିର୍ବାଚିତ ମେୟର ଓ ଅଧ୍ୟକ୍ଷମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କରିବାକୁ ପରାମର୍ଶ ଦେଇଛନ୍ତି ନବୀନ । ଆଜି ଲୋକସେବା ଭବନରେ ନବନିର୍ବାଚିତ ମେୟର ଓ ପୌରାଧକ୍ଷମାନଙ୍କ ପାଇଁ ଆୟୋଜିତ ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ପରାମର୍ଶ ଦେଇଛନ୍ତି ।କର୍ମଶାଳାକୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି । ଜାଗା ମିଶନ ବିକାଶମୁଖି ଦେଶଗୁଡିକ ପାଇଁ ଏକ ମଡେଲ ହୋଇଛି । ସେହିପରି ଟ୍ୟାପରୁ ବିଶୁଦ୍ଧ ପିଇବାପାଣି ଯୋଗାଣ ସ୍ବଜ୍ଜଳ ଧାରା କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡିଶା ସାରା ଦେଶରେ ଏକ ମାତ୍ର ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବସ୍ତି ବିକାଶ ସମୟରେ ରାଜ୍ୟ ସରକାର ଜମି ଅପେକ୍ଷା ଲୋକଙ୍କୁ ଅଧିକ ଗୁରୁତ୍ୱ ଦେଇ ଜାଗା ମିଶନ ଆରମ୍ଭ କରିଛନ୍ତି ଏବଂ ଏପର୍ଯ୍ୟନ୍ତ ଏକ ଲକ୍ଷ ପଚସ୍ତରୀ ହଜ଼ାର ପରିବାରକୁ ଭୂମି ଅଧିକାର ଦିଆଯାଇଥିବାବେଳେ 585 ବସ୍ତିକୁ ଆଦର୍ଶ ବସ୍ତିରେ ପରିଣତ କରାଯାଇଛି ।

ସହରାଞ୍ଚଳ ବିକାଶରେ ଫାଇଭ ଟି ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବାରୁ ପ୍ରତ୍ୟେକ ସ୍ତରରେ 5T ନିୟମକୁ ନିଷ୍ଠାର ସହ କାର୍ଯ୍ୟକାରୀ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ନୂଆ ନେତୃତ୍ୱ ଓ ନୂଆ ପରିଚାଳନା କୌଶଳ ପୌରସେବାକୁ ନୂତନ ଶିଖରରେ ପହଞ୍ଚାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।