ଆଜି ବଡ଼ ଠାକୁରଙ୍କ ହରିହର ବେଶ। ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯିବ। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ। ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ l
କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ ସେହିଦିନ ରତ୍ନ ସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶ ସଜିତ କରାଯିବ l
ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ କାର୍ତ୍ତିକ ମାସ ଚାଲିଥିବାରୁ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କ ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ।
