Odia News Portal

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ ପରିସ୍ଥିତିର ସମୀକ୍ଷା

ଭୁବନେଶ୍ବର() ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ । ସେଠାରୁ ଫେରିବା ପରେ ଏକ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାଂପ୍ରତିକ ବନ୍ୟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଅନେକ ଗାଁରେ ବନ୍ୟା ଜଳ ପଶି ଥିବା ବେଳେ ଅନେକ ଚାଷଜମି ଜଗମଗ୍ନ ଅବସ୍ଥାରେ ଅଛି । ଘର ଭାଙ୍ଗିବା ସହ ରାସ୍ତା ଭାଙ୍ଗିଛି ଏବଂ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅନେକ ଛୋଟ ବନ୍ଧ ଭାଙ୍ଗିଛି । ସରକାରୀ ଭିତ୍ତିଭୂମି ମଧ୍ୟ କ୍ଷିତିଗ୍ରସ୍ତ ହୋଇଛି ।

ଲୋକଙ୍କ ଏହି ବିପତ୍ତି ସମୟରେ ଓଡ୍ରାଫ, NDRF, ଅଗ୍ନିଶମ, SRC ଓ ସ୍ଥାନୀୟ ନାଉରୀଆମାନେ ସର୍ବୋପରି ସ୍ଥାନୀୟ ଲୋକମାନେ ଯେପରି ସାହସ ଓ ପ୍ରତିବଦ୍ଧତାର ସହ ଲୋକଙ୍କୁ ସେବା ଯୋଗାଉଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା କରିଥିଲେ। ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନେ, ସରକାରୀ କର୍ମଚାରୀ ଓ ପଞ୍ଚାୟତ ପ୍ରତିନିଧି ମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଚାଲିଛନ୍ତି । ଜଳସଂପଦ ବିଭାଗର ତତ୍ପରତା ଯୋଗୁଁ ଅନେକ ବନ୍ଧକୁ ରକ୍ଷା କରାଯାଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଲୋକଙ୍କ କଷ୍ଟ ଲାଘବ ସହ କ୍ଷତି ହ୍ରାସ କରିବା ଏବଂ ରାସ୍ତା, ଯୋଗାଯୋଗ, ବିଦ୍ୟୁତ ସରବରାହ ପୁନଃ ପ୍ରତିଷ୍ଠା ଏବଂ ବନ୍ଧବାଡର ମରାମତି କ୍ଷେତ୍ରରେ ତ୍ବରିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଆମେ ବର୍ତ୍ତମାନ ଏକ କଠିନ ପରିସ୍ଥିତିରେ ଗତି କରୁଛୁ । ବନ୍ୟା ଓ କରୋନା ଦୁଇଟି ବିପଦକୁ ଆମେ ମୁକାବିଲା କରୁଛୁ । ଏହି ପରିପ୍ରେକ୍ଷୀରେ ସମସ୍ତେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ନିୟମ ପାଳନ କରି କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ବନ୍ୟାଦୁର୍ଗତ ମାନଙ୍କୁ ନିବେଦନ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଏହି କଠିନ ପରିସ୍ଥିତିରୁ ଆମେ ଶୀଘ୍ର ମୁକୁଳି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ ।

ବନ୍ୟାଜନିତ ଲୋକଙ୍କ ଦୁର୍ଦ୍ଦଶା ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିମ୍ନୋକ୍ତ ଜରୁରୀ ସହାୟତା ଘୋଷଣା କରିଛନ୍ତି ।
(୧) ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ସେମାନେ ଥିବା ପର୍ଯ୍ୟନ୍ତ ସମସ୍ତଙ୍କୁ ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।
(୨) ଗୁରୁତର ଭାବରେ କ୍ଷତିଗ୍ରସ୍ତ/ଜଳମଗ୍ନ ଗ୍ରାମର ପରିବାରବର୍ଗରୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ତୁରନ୍ତ ସହାୟତା ଯୋଗାଇ ଦିଆଯିବ ।
(୩) ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍ ଯୋଗାଇ ଦିଆଯିବ ।
(୪) SDRF ନିୟମ ଅନୁଯୋୟୀ ଘରଭଙ୍ଗା ସହାୟତା ଦିଆଯିବ । ୧୫ ଦିନ ଭିତରେ ଜିଲ୍ଲାପାଳ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ ଏବଂ ପରବର୍ତ୍ତୀ ଏକ ସପ୍ତାହରେ ସହାୟତା ପ୍ରଦାନ କରାଯିବ ।
(୫) SDRF ନିୟମ ଅନୁଯାୟୀ କ୍ଷତିଗ୍ରସ୍ତକୁ ଲୁଗାପଟା ଓ ବାସନକୁସନ ଦିଆଯିବ।
(୬) SDRF ନିୟମ ଅନୁଯାୟୀ ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ସହାୟତା ଦିଆଯିବ।
(୭) କ୍ଷତିଗ୍ରସ୍ତ ଅଞ୍ଚଳରେ ପଶୁପକ୍ଷୀଙ୍କୁ ମାଗଣାରେ ଚିକିତ୍ସା ଓ ଟୀକାକରଣ ସୁବିଧା ମିଳବ ।
(୮) କ୍ଷତିଗ୍ରସ୍ତ ଅଞ୍ଚଳରେ ମାଗଣାରେ ପଶୁ ଚିକିତ୍ସା ଶିବିର ଖୋଲାଯାଇ ପଶୁପକ୍ଷୀଙ୍କ ଚିକିତ୍ସା କରାଯିବ ।

ଅନ୍ୟ ସମସ୍ତ କ୍ଷତିଗ୍ରସ୍ତ ଜିଲ୍ଲାମାନଙ୍କରେ SDRF ନିୟମ ଅନୁଯାୟୀ ସହାୟତା ଯୋଗାଇ ଦିଆଯିବ।

ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଏବଂ ଜଳସଂପଦ ବିଭାଗର ପ୍ରମୁଖ ସଚିବ ବନ୍ୟା ପରିସ୍ଥିତି, ଉଦ୍ଧାର ଓ ସହାୟତା ଏବଂ ବନ୍ଧବାଡର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଉପସ୍ଥାପନା କରିଥିଲେ। ସମୀକ୍ଷାରୁ ଜଣାଯାଇଛି ଯେ ସାଂପ୍ରତିକ ବନ୍ୟାରେ ରାଜ୍ୟର ୨୦ଟି ଜିଲ୍ଲାର ୧୧୦ ବ୍ଲକ୍‌, ୩୯୯୦ଟି ଗାଁ ଏବଂ ୨୧ଟି ପୌରାଞ୍ଚଳ କ୍ଷତିଗ୍ରସ୍ତ ହୋଇଛି । ବିଭିନ୍ନ ସ୍ଥାନରେ ୩୬ଟି ଛୋଟ ଓ ଗୋଟିଏ ବଡ ଘାଇ ହୋଇଛି । ହୀରାକୁଦରେ ଜଳପ୍ରବାହ କମିଥିବାରୁ ପରିସ୍ଥିତିରେ ଖୁବଶୀଘ୍ର ଉନ୍ନତି ଆସିବ ବୋଲି ବୈଠକରେ ଆଶାପ୍ରକାଶ କରାଯାଇଥିଲା।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନେ ଉପସ୍ଥିତ ଥିଲେ ।